ଆଜି ରାତି ସୁଦ୍ଧା ଗଭୀର ଅବପାତ, ଆନ୍ଧ୍ର ଛୁଇଁବ ଲଘୁଚାପ: ପ୍ରଭାବରେ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା; ଆଜି ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସାଙ୍ଗକୁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

1,439

କନକ ବ୍ୟୁରୋ: କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ବଳୟ ଗତକାଲି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହା ଏବେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ଅବପାତ ଆହୁରି ଘନୀଭୂତ ହେବ ଓ ଗଭୀର ଅବପାତରେ ପରିଣତ ହେବ। ଏହାପରେ ଏହାର ଗତି ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ରହିବ। ଆଜି ରାତିରେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ନର୍ସାପୁର ଓ ବିଶାଖାପାଟଣା ଦେଇ ଅବପାତ ରୂପରେ ଏହା ଅତିକ୍ରମ କରିବ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିସହ ନବରଙ୍ଗପୁର, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଧା, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୩ ତାରିଖ ଦିନ ମଧ୍ୟ ରାଜ୍ୟରେ ଏହାର ପ୍ରଭାବ ରହିବ। ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ବି ସମ୍ଭାବନା ରହିଛି।ସମୁଦ୍ର ଅଶାନ୍ତ ରହିବା ସହ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ବାରଣ କରାଯାଇଛି।