୮ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା : ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

2,015

ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ବୌଦ୍ଧ ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ । ଏଥିସହ ଆସନ୍ତାକାଲି ଅପରାହ୍ନରୁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ମଧ୍ୟ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି । ଏଣୁ ୨ ଦିନ ପାଇଁ ଉକ୍ତ ଜିଲ୍ଲାଗୁଡ଼ିକରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

କେନ୍ଦ୍ରର ସୂଚନା ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ରାଜ୍ୟର ସର୍ବାଧିକ ବର୍ଷା ସିମିଳିଗୁଡ଼ାଠାରେ ୨୦ ମିମି ହୋଇଯାଇଛି। ସେହିପରି ଉପକୂଳ ଓଡ଼ିଶାର ଖୋର୍ଧା ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଥିଲା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦିନ ଓ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯାଇନାହିଁ । କିମ୍ବା ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ସେମିତି କିଛି ଆଖିଦୃଶିଆ ପରିବର୍ତ୍ତନ ହେବ ନାହିଁ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ରାଜ୍ୟର କିଛି କିଛି ଜିଲ୍ଲାର ସର୍ବାଧିକ ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିଥିବା ବେଳେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏହି ତାପମାତ୍ରା ଜାରି ରହିବ। ଆସନ୍ତାକାଲି ଭୁବ‌ନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳର ସର୍ବାଧିକ ତାପମାତ୍ରା ୩୮ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ରହିବ ବୋଲି ପୂର୍ବାନୁମାନ କରାଯାଇଛି।