ଆଜିଠୁ ସାରା ରାଜ୍ୟରେ ବଢ଼ିବ ତାତି : ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

132

କନକ ବ୍ୟୁରୋ : ଆଜିଠୁ ସାରା ରାଜ୍ୟରେ ତାତି ବଢ଼ିବ । ବିଶେଷକରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେବ । ତାହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୩୦ ତାରିଖ ପାଇଁ ବଲାଙ୍ଗୀର ଓ ସୋନପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତ୍ତୀ ୩ଦିନ ୬ଟି ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବାକୁ ଥିବାରୁ ସ୍ଥିତି ଉପରେ ନଜର ରଖିବା ପାଇଁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି ।

ପୂର୍ବାନୁମାନ ଅନୁଯାୟୀ, ମଙ୍ଗଳବାର ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଲାଗି ରହିବ । ପୂର୍ବାହ୍ନ ସୁଦ୍ଧା ମୟୂରଭଞ୍ଜ, ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ତାହାକୁ ନଜରରେ ରଖି ଉକ୍ତ ଜିଲ୍ଲାଗୁଡ଼ିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏପ୍ରିଲ ପହିଲା ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବାର ଆଶଙ୍କା ଥିବାରୁ ମସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

ମାର୍ଚ୍ଚ ୩୧ରୁ ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିବ । କେତେକ ସ୍ଥାନରେ ୩ରୁ ୫ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ଅନୁଗୁଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପାରଦ ୪୨ ଛୁଇଁବାର ସମ୍ଭାବନା ରହିଥିବାରୁ ଉକ୍ତ ଜିଲ୍ଲାଗୁଡ଼ିକ ଲାଗି ହିଟ୍‌ୱେଭ୍‌ ଜାରି କରାଯାଇଛି । ପୂର୍ବାହ୍ନ ୧୧ଟାରୁ ଅପରାହ୍‌ଣ ୩ଟା ପର୍ଯ୍ୟନ୍ତ ଉକ୍ତ ଜିଲ୍ଲାର ଲୋକେ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ୩ ତାରିଖ ବେଳକୁ କୋରାପୁଟ, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇପାରେ । ତାହାକୁ ନଜରରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର ଜିଲ୍ଲାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୧.୬ ଡିଗ୍ରି ରେକର୍ଡ କରାଯାଇଛି। ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି ।