ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା । ପଢନ୍ତୁ, କେଉଁ ଜିଲ୍ଲା ପାଇଁ ଜାରି ହେଲା କେଉଁ ସତର୍କ ସୂଚନା ?

464

କନକ ବ୍ୟୁରୋ: ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି । ଆଗାମୀ ୧୨ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଧୀରେ ଧୀରେ ଅଧିକ ଘନୀଭୂତ ହେବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ତଥା ପଶ୍ଚିମବଙ୍ଗ ଉପକୂଳରେ ଏହା ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟପଟେ ଏହାର ପ୍ରଭାବରେ ଏବେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି । ଆଜି ପାରାଦ୍ୱୀପରେ ସର୍ବାଧିକ ୧୨୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ପୁରୀରେ ମଧ୍ୟ ୧୪୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ରାଜଧାନୀ ଭୁବନେଶ୍ୱରରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୯.୧ ମିଲିମିଟର ରେନ୍ ଫଲ୍ ରେକର୍ଡ ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଲଘୁଚାପ ପ୍ରଭାବରେ ବର୍ଷା ନେଇ ଆଗାମି ୨୪ଘଣ୍ଟା ପାଇଁ ସତର୍କ କରାଇଛି ପାଣିପାଗ ବିଭାଗ । ୭ ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ , ଖୋର୍ଦ୍ଧ, କଟକ, ଜଗତସିଂହପୁର, କେନ୍ଦ୍ରପଡ଼ା, ଢେଙ୍କାନାଳ ଏବଂ ନୟାଗଡ଼କୁ ରେଡ଼ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ୬ଟି ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଗଞ୍ଜାମ , କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରିଦିଆଯାଇଛି । ତେବେ ୮ଟି ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ମୟୁରଭଞ୍ଜ ଏବଂ ବାଲେଶ୍ୱରକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।