କନକ ବ୍ୟୁରୋ : ରାଜ୍ୟର ଉତ୍ତର, ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ପ୍ରାୟ ୧୬ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଜାରି ସତର୍କ ସୂଚନା ମୁତାବକ ଆଜି (୧୯ ଅପ୍ରେଲ, ସୋମବାର) ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି (୨୦ ଅପ୍ରେଲ, ମଙ୍ଗଳବାର) ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ମୟୂରଭଞ୍ଜ, ରାୟଗଡା, କୋରାପୁଟ, ଓ କେନ୍ଦୁଝର ପ୍ରଭୃତି ୧୬ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୬ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
ସେହିପରି ଏହି ସମୟ ମଧ୍ୟରେ ଦକ୍ଷିଣ, ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ମୟୂରଭଞ୍ଜ, ଢ଼େଙ୍କାନାଳ, କେନ୍ଦୁଝର, ଅନୁଗୁଳ, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଅନେକ ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛ ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ଏଥିସହ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।
Follow Us