ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷିବ । ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ : ଆଜି ସୁଦ୍ଧା ଅବପାତରେ ପରିଣତ ହେବ ଲଘୁଚାପ ବଳୟ

274

କନକ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଏକ ୱେଲମାର୍କ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଏବେ ପୂର୍ବକେନ୍ଦ୍ରୀୟ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ କେନ୍ଦ୍ରୀଭୂତ ହୋଇ ରହିଛି । ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଏକ ଅବପାତ ବା ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତା ଅକ୍ଟୋବର ୧୨ ସକାଳେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର, ଭୁବନେଶ୍ୱର ପକ୍ଷରୁ କୁହାଯାଇଛି ।

ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୧୧ ତାରିଖଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ରାଜ୍ୟର ମାଲକାନଗିରି, ଗଜପତି, କୋରାପୁଟ, ରାୟଗଡା, ଗଞ୍ଜାମ, ପୁରୀ, ଜଗତସିଂହପୁର,ବରଗଡ଼,ଝାରସୁଗୁଡା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୨ ତାରିଖରେ ରାଜ୍ୟର ଗଜପତି, ଗଞ୍ଜାମ, ରାୟଗଡ଼ା ଓ ପୁରୀ ଓ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅର୍ଥାତ ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ମାଲକାନଗିରି, କନ୍ଧମାଳ,ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।