ରାଜ୍ୟର କିଛି ସ୍ଥାନରେ ବର୍ଷା ଆଶଙ୍କା । ସତର୍କ ସୂଚନା ଜାରି ।

2,561

କନକ ବ୍ୟୁରୋ : ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏ ନେଇ ସ୍ୱତନ୍ତ୍ର ରିଲିଫ କମିସନର (ଏସ୍‌ଆରସି) ପକ୍ଷରୁ ସମସ୍ତ ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ସୂଚନାଯୋଗ୍ୟ, ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆସନ୍ତା ନଭେମ୍ବର ୨ ତାରିଖ ସକାଳ ସାଢ଼େ ୮ଟାରୁ ୩ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଂଜାମ ଓ ଗଜପତି ଜିଲ୍ଲାର ଗୋଟିଏ ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହି ସବୁ ଜିଲ୍ଲା ଗୁଡ଼ିକ ପାଇଁ ଭାରତୀୟ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ।

ଏସ୍‌ଆରସି ପକ୍ଷରୁ ଜିଲ୍ଲାପାଳ ମାନଙ୍କୁ ଲେଖାଯାଇଥିବା ପତ୍ରରେ କୁହାଯାଇଛି ବର୍ଷା ନେଇ ଜନସାଧାରଣଙ୍କ ମଧ୍ୟରେ ସଚେତନତାର ବାର୍ତ୍ତା ଦିଆଯାଉ । ସମ୍ଭାବ୍ୟ ବର୍ଷା ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉ ।

ସେହିଭଳି ଆଗାମୀ ୨୪ ଘଣ୍ଟା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଚାଷୀ ମାନଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାର ଗୋଟିଏ ବା ୨ଟି ସ୍ଥାନରେ ବର୍ଷା ହୋଇପାରେ । ନବରଂଗପୁର, ଗଂଜାମ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟ ବର୍ଷା ଆଶଙ୍କା ଥିବାବେଳେ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡ଼ିକରେ ପାଗ ଶୁଖିଲା ରହିବ ।