ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା । ସତର୍କ ସୂଚନା ଜାରି କଲେ ଏସଆରସି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ।

278

କନକ ବ୍ୟୁରୋ : ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି । ୧୭ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯାହାକୁ ନଜରରେ ରଖି ଏସଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖାଯାଇଛି।

ଚିଠିରେ ଏସଆରସି ଉଲ୍ଲେଖ କରିଛନ୍ତି ଯେ, ୟେଲୋ ଓ୍ଵାର୍ଣ୍ଣିଂ ଥିବା ଜିଲ୍ଲା ଗୁଡ଼ିକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ସେହିପରି ସହରାଂଚଳରେ ତଳିଆ ସ୍ଥାନରେ ପାଣି ଭର୍ତ୍ତି ହୋଇ ବିପରୀତ ପରିସ୍ଥିତି ସୃଷ୍ଟି କରିପାରେ। ତେଣୁ ୨୪ ଘଣ୍ଟିଆ କଂଟ୍ରୋଲ ରୁମ ଖୋଲିବାକୁ ନିର୍ଦେଶ ହୋଇଛି। ବର୍ଷାର ପ୍ରଭାବରେ ସମୁଦ୍ରରେ ପବନର ବେଗ ଘଣ୍ଟା ପିଛା ୪୫ କିଲୋମିଟର ରହିପାରେ। ତେଣୁ ୧୭ ତାରିଖ ଠାରୁ ମାଛ ଧରିବାକୁ ସମୁଦ୍ର ଭିତରକୁ ଯିବାକୁ ମନା ହୋଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଊର୍ଧ୍ଵ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ରହିଛି। ଏହି ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼,ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ୧୫ରୁ ୧୬ ତାରିଖ ମଧ୍ୟରେ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ।