ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର : ପ୍ରଭାବରେ ଓଡ଼ିଶା ଉପକୂଳର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା; ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା

318

କନକ ବ୍ୟୁରୋ : ୱେଲ ମାର୍କଡ୍ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ  । ବର୍ତ୍ତମାନ ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି  । ଏହା ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି  । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି  । ୧୧ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଥିବା ବେଳେ ୧୮ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି  । ବୀରମହାରାଜପୁରରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି  ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଲଘୁଚାପ ପ୍ରଭାବରୁ ଶୁକ୍ରବାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ସୋନପୁର, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ । ୨୪ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମାଲକାନଗିରି, କୋରାପୁଟ, ବରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

୨୫ ତାରିଖ ଦିନ ମୟୂରଭଞ୍ଜ ଓ କେନ୍ଦୁଝର ଏବଂ ୨୬ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏଣୁ ଆସନ୍ତା ୪ ଦିନ ପାଇଁ ଏସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।