ୱେଲମାର୍କର ରୂପ ନେଇଛି ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ୨୪ ଘଂଟାରେ ଅବପାତ, ୪୮ ଘଂଟାରେ ନେବ ଗଭୀର ଅବପାତର ରୂପ । ଆସନ୍ତା ୨୨ ଓ ୨୩ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ।

307

କନକ ବ୍ୟୁରୋ : ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲମାର୍କର ରୂପ ନେଇ ସାରିଛି । ଆଗାମି ୨୪ ଘଂଟାରେ ଏହା ଅବପାତ ଏବଂ ୪୮ ଘଂଟାରେ ଗଭୀର ଅବପାତର ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ୨୨ ତାରିଖରେ ମୟୂରଭଞ୍ଜ, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ବିଶେଷ କରି ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଦୁଇ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୩ରେ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱରକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏବଂ ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଓ ଢ଼େଙ୍କାନାଳକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଂଚଳରେ ବର୍ଷା ପାଣି ଜମିବା ସହ ଭୁସ୍ଖଳନ ହେବାର ଆଶଙ୍କା ରହିଛି । ପ୍ରବଳ ବର୍ଷା ଯୋଗୁଁ କଚାଘର ଭାଙ୍ଗିବାର ଆଶଙ୍କା ଥିବାରୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି ପାଣିପାଗ ବିଭାଗ ।