କାହିଁକି ଦେବସ୍ନାନ ପୂର୍ଣ୍ଣିମାରେ ଗଜବେଶ ହୁଅନ୍ତି ମହାପ୍ରଭୁ? ଜାଣିଛନ୍ତି କି ଗଜବେଶକୁ ନେଇ ରହିଥିବା ଏହି କିମ୍ବଦନ୍ତୀ….

328

କନକ ବ୍ୟୁରୋ: ଆଜି ଦେବସ୍ନାନ ପୂର୍ଣ୍ଣିମା ବା ମହାପ୍ରଭୁଙ୍କ ସ୍ନାନଯାତ୍ରା । ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଆଜି ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯିବ । ଆଉ ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯିବ। ତେବେ ଆପଣ ଜାଣିଛନ୍ତି କି, ମହାପ୍ରଭୁ ଏହି ଗଜାନନ ବେଶ ହେବା ପଛରେ କଣ ରହିଛି କିମ୍ବଦନ୍ତୀ?

କୁହାଯାଏ ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁଙ୍କ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ। ସେ ଭଗବାନ ଗଣେଶଙ୍କର ଭକ୍ତ ଥିଲେ । ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ ଏବଂ କ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ । ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା । ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ । ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀ ଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ହୋଇଗଲା । ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୂଲ ବୁଝିପାରିଲେ । ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ । ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି ବିଶ୍ୱାସ ରହିଛି । 

ସୂଚନାଯୋଗ୍ୟ ଯେ, ଦେବସ୍ଥାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ପ୍ରଣୀତାକୂପ’ ବୋଲି କୁହାଯାଏ ।

ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ । ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି ।