ବର୍ଷା ପାଇଁ ୨୨ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ । ଜାଣନ୍ତୁ, କେଉଁ କେଉଁ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ…

1,129

କନକ ବ୍ୟୁରୋ : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ଆଜି ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ସେପ୍ଟେମ୍ବର ୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ରହିଛି। ଫଳ ସ୍ୱରୂପ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ବେଳେ ୪ ତାରିଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ସେପ୍ଟେମ୍ବର ୨ ତାରିଖ ଅପରାହ୍ନ ସୁଦ୍ଧା ଆଭ୍ୟନ୍ତରୀଣ, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୨୨ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ  ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ୨୨ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ଦେବଗଡ଼, ସମ୍ବଲପୁର, ବୌଦ୍ଧ, ଢ଼େଙ୍କାନାଳ, ଅନୁଗୁଳ, ଓ କନ୍ଧମାଳ ପ୍ରଭୃତି ୨୨ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।